ଭୁବନେଶ୍ୱର, ୦୯/୧୨(ପାଇକପୁଅ) ଆଜି ବିଧାନସଭାରେ ମାଲକାନଗିରିକୁ ନେଇ କମ୍ପିଥିଲା ଗୃହ । ଶୂନ୍ୟକାଳରେ ମାଲକାନଗିରି ନିଆଁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ ବିରୋଧୀ । ଗୃହରେ ମାଲକାନାଗିରି ହିଂସା ପ୍ରସଙ୍ଗ ଉଠାଇ ସରକାର ଉପରେ ବର୍ଷିଥିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । କହିଥିଲେ, ଏବେ ମାଲକାନଗିରି ଜଳୁଛି, ଆଗକୁ ଆଉ ଏକ କନ୍ଧମାଳ ହେବାକୁ ଯାଉଛି । ଅନକେ ଘର ପୋଡ଼ି ଦିଆଗଲାଣି, ଜୀବନ ଗଲାଣି । ହେଲେ ଆମେ ଏଠି ବସି କାର୍ଯ୍ୟକ୍ରମ କରୁଛେ । ଲୋକ କଣ କହିବେ ବୋଲି ପ୍ରଶ୍ନ କରିଛନ୍ତି ରାଜା ସ୍ୱାଇଁ । ରାଜ୍ୟର ଗୋଟିଏ ଅଂଶ ଜଳୁଥିବା ବେଳେ ଆମେ ଏଠି ନିୟମ ତିଆରି କରୁଛେ ଏହା କେତେ ଠିକ୍ ବୋଲି ପ୍ରଶ୍ନ ଉଠାଇଥିଲେ ରାଜା । ମୁଖ୍ୟମନ୍ତ୍ରୀ ଗୃହକୁ ଆସୁ ନାହାନ୍ତି କି ଏହି ପ୍ରସଙ୍ଗରେ ମୁହଁ ଖୋଲୁନାହାନ୍ତି । ଯେମିତି ମଣିପୁର ଜଳୁଥିଲା, ସେମିତି ଏବେ ମାଲକାନଗିରି ଜଳୁଛି । ବେଙ୍ଗଲି କହୁଥିବା ଲୋକ ସମସ୍ତେ ବାଂଲାଦେଶୀ ନୁହନ୍ତି । କିନ୍ତୁ ରାଜ୍ୟରେ ସେଭଳି ବାତାବରଣ ତିଆରି କରାଯାଉଛି ବୋଲି ସରକାରଙ୍କୁ ଦୋଷ ଦେଇଛନ୍ତି ରାଜା ସ୍ୱାଇଁ ।

